ରାଜ୍ୟ

୧୪ ଜିଲ୍ଲାରେ ୨୩ରୁ ୨୫ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ ଓ କଲେଜ

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ଏନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ନୟାଗଡ଼, କଟକ ଓ ଖୋର୍ଦ୍ଧାରେ ଏହା ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ଏନେଇ ସଂପୃକ୍ତ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି। ସେହିପରି ଏହି ସବୁ ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି କରାଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ଉପରୋକ୍ତ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନର
ସ୍କୁଲ
ଗୁଡ଼ିକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖିଥିଲେ।

ସମ୍ଭାବ୍ୟ ବାତ୍ୟା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ପୁରୀରୁ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳ ଅତିକ୍ରମ କରିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏହା ସହିତ ପବନ ମଧ୍ୟ ହେବ। ଭୀଷଣ ବାତ୍ୟାର ରୂପ ନେଇ ଦାନା ଲ୍ୟାଣ୍ଡଫଲ କରିବ ବୋଲି ପୂର୍ବାନୁମାନ କରାଯାଇଥିବା ବେଳେ ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ଆକଳନ କରାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button