ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ – Ibnodisha
[ad_1]
ଭୁବନେଶ୍ବର: ୮ ଦିନ ବିଳମ୍ବରେ ଦେଶରୁ ଆରମ୍ଭ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା। ଦକ୍ଷିଣ ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ସ୍ବାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ୨୫ ସେପ୍ଟେମ୍ବରରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରୁ ସାଧାରଣତଃ ୧୫ ଅକ୍ଟୋବରରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଥାଏ। ତେବେ ୮ ଦିନ ବିଳମ୍ବରେ ଦେଶରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା କାରଣରୁ ଓଡ଼ିଶାରୁ ମଧ୍ୟ ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଆଜି ରାଜ୍ୟର ବିଭିନ୍ନ ସ୍ଥାନ ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ, ଖୋର୍ଧା, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଆସନ୍ତାକାଲି କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ। ଏହାପରେ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। କିଛି ବର୍ଷାର ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିପାରେ।
[ad_2]